ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ୭ ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ କୁଏତରେ ଅଗ୍ନିକାଣ୍ଡ ଘଟଣାରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ, ଯେଉଁଥିରେ ଅନେକ ଭାରତୀୟ ନାଗରିକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଆହତ ହୋଇଛନ୍ତି ।
ଏହି ଦୁର୍ଭାଗ୍ୟଜନକ ଘଟଣାରେ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଭାରତ ସରକାର ଯଥାସମ୍ଭବ ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ତୁରନ୍ତ କୁଏତ ଗସ୍ତ କରି ରିଲିଫ ବ୍ୟବସ୍ଥାର ତଦାରଖ କରିବା ସହ ମୃତ ଦେହକୁ ଶୀଘ୍ର ଫେରାଇ ଆଣିବା ରେ ସହାୟତା କରିବେ।
ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତ ଭାରତୀୟ ନାଗରିକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।
ଏହି ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍ ଜୟଶଙ୍କର, ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ କୀର୍ତ୍ତିବର୍ଦ୍ଧନ ସିଂହ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ପ୍ରମୋଦ କୁମାର ମିଶ୍ର, ଜାତୀୟ ସୁରକ୍ଷା ପରାମର୍ଶଦାତା ଶ୍ରୀ ଅଜିତ ଡୋଭାଲ, ବୈଦେଶିକ ସଚିବ ଶ୍ରୀ ବିନୟ କ୍ୱାତ୍ରା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।